02/14/2025

Sabubarga Khabar

ସତ୍ୟ,ନିର୍ଭୀକ,ନିରପେକ୍ଷ ସ୍ୱର

ମାଲକାନଗିରିରେ ବିଜୁ ସ୍ୱାସ୍ଥ୍ୟ କଲ୍ୟାଣ ଯୋଜନାରେ ସ୍ମାର୍ଟ ହେଲଥ କାର୍ଡର ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ

ମାଲକାନଗିରି ୨୦/୦୮(ସଖପ୍ର): ମାଲକାନଗିରିରେ ବିଜୁ ସ୍ୱାସ୍ଥ୍ୟ କଲ୍ୟାଣ ସ୍ମାର୍ଟ ହେଲଥ କାର୍ଡ ବଣ୍ଟନର ଆଜି ଶୁଭାରମ୍ଭ ହୋଇଛି। ମାଲକାନଗିରି ସଂସ୍କୃତି ଭବନରେ ବିଜୁ ସ୍ୱାସ୍ଥ୍ୟ କଲ୍ୟାଣ ସ୍ମାର୍ଟ କାର୍ଡର ଶୁଭାରମ୍ଭ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଏଭଳି ସ୍ମାର୍ଟ ହେଲଥ କାର୍ଡ ଦେବାରେ ଓଡ଼ିଶା ଦେଶର ପ୍ରଥମ ରାଜ୍ୟ ହୋଇଛି । ମୁଖ୍ୟମନ୍ତ୍ରୀ ଆଜି ବିଭିନ୍ନ ଅଞ୍ଚଳରୁ ଆସିଥିବା ହିତାଧିକାରୀଙ୍କୁ ବିଜୁ ସ୍ୱାସ୍ଥ୍ୟ କଲ୍ୟାଣ ହିତାଧିକାରୀଙ୍କୁ ସ୍ମାର୍ଟ ହେଲଥ କାର୍ଡ ବାଣ୍ଟିଛନ୍ତି । ଶୁଭାରମ୍ଭ ପରେ ମାଲକାନଗିରିରେ ପ୍ରାୟ ୨୫ ରୁ ୩୦ ଟି କାର୍ଡ ପ୍ରଥମେ ବିତରଣ କରାଯାଇଛି ।

ବଣ୍ଡା ଜନଜାତି ମହିଳା ଶୁକ୍ରୀ ଧାଙ୍ଗଡା ମାଝୀଙ୍କୁ ବିଜୁ ସ୍ବାସ୍ଥ୍ୟ କଲ୍ୟାଣ ଯୋଜନାର ପ୍ରଥମ ସ୍ମାର୍ଟ କାର୍ଡ ପ୍ରଦାନ କରି ମାନ୍ୟବର ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ଆଜି ମାଲକାନଗିରିରୁ ସ୍ବାସ୍ଥ୍ୟ ସେବାର ଏହି ଐତିହାସିକ ଯାତ୍ରା ଆରମ୍ଭ କରିଛନ୍ତି। ଏହି ଅବସରରେ ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ, “ମୋ ପାଇଁ ପ୍ରତିଟି ଜୀବନ ମୂଲ୍ୟବାନ ମୁଁ ଚାହେଁ ସମସ୍ତେ ସୁସ୍ଥ ରୁହନ୍ତୁ। ଚିକିତ୍ସା ପାଇଁ ଟଙ୍କା କେବେ ବି ବାଧକ ନ ହେଉ।”

ବିଜୁ ସ୍ବାସ୍ଥ୍ୟ କଲ୍ୟାଣ ଯୋଜନାରେ ମହିଳା ମାନଙ୍କ ପାଇଁ ଚିକିତ୍ସା ଖର୍ଚ୍ଚ ୧୦ ଲକ୍ଷ ଟଙ୍କାକୁ କିପରି ବୃଦ୍ଧି ହେଲା ସେ ସଂପର୍କରେ ସୂଚନା ଦେଇ ମୁଖ୍ୟମନ୍ତ୍ରୀ କହିଲେ ଯେ “୨୦୧୮ ମସିହାରେ ମାଲକାନଗିରି ପାଇଁ ଆମ ଗାଁ ଆମ ବିକାଶ କାର୍ଯ୍ୟକ୍ରମ ଚାଲିଥିଲା। ମୁଁ ଲୋକସେବା ଭବନରୁ କାର୍ଯ୍ୟକ୍ରମରେ ଯୋଗ ଦେଇଥିଲି। ସେ ସଭାରେ ଝିଅଟିଏ ବିଜୁ ସ୍ବାସ୍ଥ୍ୟ କଲ୍ୟାଣ ଯୋଜନାରେ ମାମାନଙ୍କ ପାଇଁ ଚିକିତ୍ସା ଖର୍ଚ୍ଚ ବୃଦ୍ଧି କରିବା ପାଇଁ ପ୍ରସ୍ତାବ ଦେଲା।

ଝିଅଟିର ସାହସ ଓ ବୁଦ୍ଧିକୁ ସମସ୍ତେ ସେ ଦିନ ତାରିଫ କରିଥିଲେ। ଝିଅଟି ଥିଲା ଆମ ମାଲକାନଗିରିର ମମତା ପଡିଆମୀ। ତାଙ୍କ ପ୍ରସ୍ତାବଟି ମୋତେ ବହୁତ ଭଲ ଲାଗି ଥିଲା ଏବଂ ମୁଁ ବିଜୁ ସ୍ବାସ୍ଥ୍ୟ କଲ୍ୟାଣ ଯୋଜନାରେ ମହିଳା ମାନଙ୍କ ଚିକିତ୍ସା ସୁବିଧା ୧୦ ଲକ୍ଷ ଟଙ୍କାକୁ ବୃଦ୍ଧି କରିବା ପାଇଁ ନିଷ୍ପତ୍ତି ନେଇଥିଲି ।”ମୁଖ୍ୟମନ୍ତ୍ରୀ ପୁଣି କହିଲେ ଯେ ଆଜି ବିଜୁ ସ୍ବାସ୍ଥ୍ୟ କଲ୍ୟାଣ ଯୋଜନାକୁ ଆମେ ନୂଆ ରୂପରେ କାର୍ଯ୍ୟକାରୀ କରିବାକୁ ଯାଉଛୁ। ଏହି କାର୍ଯ୍ୟକ୍ରମ ମୁଁ ମାଲକାନଗିରିରୁ ଆରମ୍ଭ କରିବା ପାଇଁ ନିଷ୍ପତ୍ତି ନେଲି। ଆଗାମୀ ସେପ୍ଟେମ୍ବର ପହିଲାରୁ ଏହା ଲାଗୁ ହେବ।

ରାଜ୍ୟର ୯୬ ଲକ୍ଷ ପରିବାରକୁ ଏହି କାର୍ଡ ଦିଆଯିବ ବୋଲି ପ୍ରକାଶ କରି ସେ କହିଲେ ଯେ ରାଜ୍ୟର ସାଢେ ତିନି କୋଟି ଲୋକ ଉପକାର ପାଇବେ। ଏହି ନୂଆ ବ୍ୟବସ୍ଥାରେ ଆପଣଙ୍କୁ ହସ୍‌ପିଟାଲରେ କିଛି କାଗଜପତ୍ର ଦେବା ଦରକାର ହେବ ନାହିଁ ବୋଲି ସେ କହିଥିଲେ। କେବଳ ଏହି ସ୍ମାର୍ଟ ହେଲ୍‌ଥ କାର୍ଡ ସାଥିରେ ନେଇ ହସପିଟାଲ ଯିବାକୁ ହେବ। ଦେଶର ୨୦୦ରୁ ଅଧିକ ବଡ ବଡ ହସ୍‌ପିଟାଲରେ ଏହି କାର୍ଡ ଜରିଆରେ ହିତାଧିକାରୀମାନେ ଚିକିତ୍ସା ସୁବିଧା ପାଇପାରିବେ। ଏହି କାର୍ଡରେ ପରିବାର ପାଇଁ ୫ ଲକ୍ଷ ଟଙ୍କା ଓ ମା ମାନଙ୍କ ପାଇଁ ୧୦ ଲକ୍ଷ ଟଙ୍କା ପର୍ଯ୍ୟନ୍ତ ଚିକିତ୍ସା ସୁବିଧା ମିଳିବ।

ଆଜିର ଏହି କାର୍ଯ୍ୟକ୍ରମରେ ଅନେକ ମନ୍ତ୍ରୀ,ଯୋଗାଣ ନିଗମ ଅଧ୍ୟକ୍ଷ ଓ ବିଧାୟକ ଉପସ୍ଥିତ ରହିଛନ୍ତି । ତେବେ ମାଲକାନଗିରି ଜିଲ୍ଲାର ୧ ଲକ୍ଷ ୫୫ ହଜାର ୮୨୩ ଜଣଙ୍କୁ ବଣ୍ଟାଯିବ ଏହି BSKY ସ୍ମାର୍ଟ ହେଲଥ କାର୍ଡ । ଅଗଷ୍ଟ ୨୧ରୁ ୨୫ ମଧ୍ୟରେ ସମସ୍ତ ସ୍ମାର୍ଟ କାର୍ଡ ବଣ୍ଟନ କରାଯିବାର ଲକ୍ଷ୍ୟ ରଖାଯାଇଛି । ଏହା ସହ ଅନ୍ନପୂର୍ଣ୍ଣା ଓ ଅନ୍ତ୍ୟୋଦୟ ହିତାଧିକାରୀଙ୍କୁ ଏହି BSKY କାର୍ଡ ମିଳିବ । ରାଜ୍ୟର ମୋଟ ୯୬ ଲକ୍ଷ ପରିବାରକୁ BSKY ସ୍ମାର୍ଟ ହେଲଥ କାର୍ଡ ବଣ୍ଟାଯିବ । ଜିଲ୍ଲାରେ ୩୮୧ଟି ସ୍ବାସ୍ଥ୍ୟ କାର୍ଡ ବିତରଣ କେନ୍ଦ୍ରର ବ୍ୟବସ୍ଥା କରାଯାଇଛି ।

ସବୁବର୍ଗ ଖବର

Leave a Reply

Your email address will not be published. Required fields are marked *